ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ
ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ; ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୯/୦୯: ମଧ୍ୟପ୍ରଦେଶରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।
ସେମିକନ୍ ୨୦୨୬ରେ ଯୋଗଦେଇ ଶନିବାର ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନବନ୍ଦରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।
ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏଥିସହ ମୃତ ପର୍ଯ୍ୟଟକଙ୍କ ମରଶରୀର ଓଡ଼ିଶାକୁ ଫେରାଇ ଆଣିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏନେଇ ଓଡ଼ିଶା ସରକାରଙ୍କ ଅଧିକାରୀମାନେ ମଧ୍ୟପ୍ରଦେଶ ସରକାରଙ୍କ ଅଧିକାରୀଙ୍କ ସହ ନିରନ୍ତର ଯୋଗାଯୋଗରେ ଥିବା ସେ ସୂଚନା ଦେଇଛନ୍ତି।


